Webportal

ଆଜି ପହିଲି ରଜ; ୨ ବର୍ଷ ପରେ ପୁଣି ଆଡମ୍ବରରେ ପାଳନ ହେଉଛି ପର୍ବ: ଘରେ ଘରେ ପିଠାପଣାରେ ଆସର

sanitry
0 117

ଆଜି ହେଉଛି ପହିଲି ରଜ। ୨ବର୍ଷର କୋଭିଡ ମହାମାରୀ ପରେ ଚଳିତ ବର୍ଷ ବେଶ ଆଡମ୍ବରରେ ପାଳନ କରାଯାଉଛି ରଜ। ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ। ଏହା ତିନିଦିନ ଧରି ପାଳନ କରାଯାଇଥାଏ। ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ।

ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ।

ଏହା ଚାଷର ଆରମ୍ଭକୁ ସୂଚାଇଥାଏ। ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ।

ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ।

ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି। ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି। ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି। ପତ୍ର, ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି। ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ।

ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ। କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଓ ଗୁଆ ଖୋଳପା କିମ୍ବା ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି।

ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ। ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ। ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ। ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି।

ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ। ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ। ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ। ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ। ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି।

ଏହିପରି ଅନେକ ରଜ ଗୀତ ଗାଇ ଦୋଳି ଖେଳନ୍ତି ଝିଅମାନେ

ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ।

ରାଶିରୁ ଛାଡ଼ିଲା ଚୋପା, ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, ମଥାରେ ସିନ୍ଦୂର ଟୋପା।

ଉଡ଼ିଲା ଶୁଆ ନାହାକା, ଦୋଳିଟା କାହିଁକି ଲାଗୁଛି ଏକା ଲୋ, କାହା ବିନା ଏକା ଏକା।

ପାଚିଲା ଭଇଁଚ କୋଳି, ବେକରେ ନାଇଚି ଗଜରା ମାଳି ଲୋ, ଝୁଲାଅ ରଜର ଦୋଳି।

ପଣସ ପାଚିଲା ବନେ, ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, ମନକଥା କିଏ ଜାଣେ।

ଶଙ୍ଖ ମଲମଲ ଗିନା, ଦରଦ ଜାଣେଲୋ ଦରଦୀ ସିନା ଲୋ, ବଣିଆ ଚିହ୍ନେଟି ସୁନା।

ନିମ୍ବର ବୁକେ ଚନ୍ଦନ, ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, ଦେଲା ତହିଁ ଯଉବନ।

ଢମଣା ଛାଡ଼ିଲା କାତି, ପୁରୁଷ ସିନାଲୋ ଭ୍ରମର ଜାତି ଲୋ, ନୂଆ ଖୋଜୁଥାନ୍ତି ନିତି।

Square Ad 1
Leave A Reply

Your email address will not be published.